< ଆୟୁବ 10 >

1 ମୋʼ ପ୍ରାଣ ମୋʼ ଜୀବନ ବିଷୟରେ କ୍ଳାନ୍ତ ହୋଇଅଛି, ମୁଁ ଆପଣା ଦୁଃଖ ସ୍ୱଚ୍ଛନ୍ଦରେ କହିବି; ମୁଁ ଆପଣା ପ୍ରାଣର ତିକ୍ତତାରେ କହିବି। 2 ମୁଁ ପରମେଶ୍ୱରଙ୍କୁ କହିବି, ମୋତେ ଦୋଷୀ କର ନାହିଁ; କାହିଁକି ମୋʼ ସଙ୍ଗେ ବିରୋଧ କରୁଅଛ, ତାହା ମୋତେ ଜଣାଅ। 3 ତୁମ୍ଭେ ଯେ ଉପଦ୍ରବ କରିବ, ତୁମ୍ଭେ ଯେ ଆପଣା ହସ୍ତର କର୍ମ ତୁଚ୍ଛ କରିବ ଓ ଦୁଷ୍ଟର ମନ୍ତ୍ରଣାରେ ପ୍ରସନ୍ନ ହେବ, ଏହା କʼଣ ତୁମ୍ଭ ପ୍ରତି ଭଲ? 4 ତୁମ୍ଭର କʼଣ ଚର୍ମର ଚକ୍ଷୁ ଅଛି? ଅବା ମନୁଷ୍ୟ ଯେପରି ଦେଖେ, ତୁମ୍ଭେ କʼଣ ସେପରି ଦେଖୁଅଛ? 5 ତୁମ୍ଭର ଆୟୁ କʼଣ ମନୁଷ୍ୟର ଆୟୁ ତୁଲ୍ୟ, ଅବା ତୁମ୍ଭର ବର୍ଷସମୂହ କʼଣ ମନୁଷ୍ୟର ଦିନସମୂହ ତୁଲ୍ୟ 6 ଯେ, ତୁମ୍ଭେ ମୋହର ଅଧର୍ମ ଅନୁସନ୍ଧାନ କରୁଅଛ ଓ ମୋହର ପାପ ଅନ୍ଵେଷଣ କରୁଅଛ? 7 ତୁମ୍ଭେ ତ ଜାଣ, ମୁଁ ଦୁଷ୍ଟ ନୁହେଁ ଓ ତୁମ୍ଭ ହସ୍ତରୁ ଉଦ୍ଧାର କରିବାକୁ କେହି ସମର୍ଥ ନୁହେଁ। 8 ତୁମ୍ଭର ହସ୍ତ ମୋତେ ଗଢ଼ିଅଛି ଓ ସର୍ବାଙ୍ଗ ସୁସଂଯୁକ୍ତ କରି ମୋତେ ନିର୍ମାଣ କରିଅଛି; ତଥାପି ତୁମ୍ଭେ ମୋତେ ସଂହାର କରୁଅଛ। 9 ମୁଁ ବିନୟ କରୁଅଛି, ସ୍ମରଣ କର, ତୁମ୍ଭେ ମୋତେ ମୃତ୍ତିକା ତୁଲ୍ୟ ଗଢ଼ିଅଛ ଓ ତୁମ୍ଭେ କʼଣ ମୋତେ ପୁନର୍ବାର ଧୂଳି କରିବ? 10 ତୁମ୍ଭେ କʼଣ ଦୁଗ୍ଧ ନ୍ୟାୟ ମୋତେ ଢାଳି ନାହଁ ଓ ଛେନା ତୁଲ୍ୟ ମୋତେ ଶକ୍ତ କରି ନାହଁ? 11 ତୁମ୍ଭେ ମୋତେ ଚର୍ମ ଓ ମାଂସରେ ବସ୍ତ୍ରାନ୍ୱିତ କରିଅଛ, ପୁଣି ଅସ୍ଥି ଓ ଶିରାରେ ମୋତେ ଏକତ୍ର ବୁଣିଅଛ। 12 ତୁମ୍ଭେ ମୋତେ ଜୀବନ ଓ ଅନୁଗ୍ରହ ଦାନ କରିଅଛ ଓ ତୁମ୍ଭର ତତ୍ତ୍ୱାବଧାରଣ ମୋର ଆତ୍ମାକୁ ରକ୍ଷା କରିଅଛି। 13 ତଥାପି ତୁମ୍ଭେ ଏହିସବୁ ବିଷୟ ଆପଣା ମନରେ ଗୁପ୍ତ କରି ରଖିଅଛ; ମୁଁ ଜାଣେ, ଏହା ହିଁ ତୁମ୍ଭର ବିଚାର; 14 ମୁଁ ପାପ କଲେ, ତୁମ୍ଭେ ମୋତେ ଲକ୍ଷ୍ୟ କରୁଅଛ ଓ ତୁମ୍ଭେ ମୋର ଅଧର୍ମରୁ ମୋତେ ମୁକ୍ତ କରିବ ନାହିଁ। 15 ମୁଁ ଦୁଷ୍ଟ ହେଲେ, ମୋର ସନ୍ତାପ ହେବ, ପୁଣି ମୁଁ ଧାର୍ମିକ ହେଲେ ହେଁ ଅବମାନନାରେ ପୂର୍ଣ୍ଣ ହେବାରୁ ଓ ଆପଣା କ୍ଳେଶ ପ୍ରତି ଅନାଇବାରୁ ଆପଣା ମସ୍ତକ ଟେକି ପାରୁ ନାହିଁ। 16 ମାତ୍ର ମୋର ମସ୍ତକ ଆପେ ଟେକି ହେଲେ, ତୁମ୍ଭେ ସିଂହ ପରି ମୋତେ ମୃଗୟା କରୁଅଛ ଓ ତୁମ୍ଭେ ପୁନର୍ବାର ମୋʼ ପ୍ରତି ଆପଣାକୁ ଅଦ୍ଭୁତ ଦେଖାଉଅଛ। 17 ତୁମ୍ଭେ ମୋʼ ବିରୁଦ୍ଧରେ ନୂଆ ନୂଆ ସାକ୍ଷୀ ଆଣୁଅଛ ଓ ତୁମ୍ଭେ ମୋʼ ଉପରେ ଆପଣା କ୍ରୋଧ ବୃଦ୍ଧି କରୁଅଛ; ନୂତନ ନୂତନ ସୈନ୍ୟଦଳ ମୋହର ପ୍ରତିକୂଳ। 18 ତେବେ ତୁମ୍ଭେ କାହିଁକି ମୋତେ ଗର୍ଭରୁ ବାହାର କରି ଆଣିଅଛ? ମୁଁ ପ୍ରାଣତ୍ୟାଗ କରିଥାʼନ୍ତି ଓ କୌଣସି ଚକ୍ଷୁ ମୋତେ ଦେଖି ନ ଥାʼନ୍ତା, 19 ମୁଁ ଅଜାତର ତୁଲ୍ୟ ହୋଇଥାʼନ୍ତି; ମୁଁ ଗର୍ଭରୁ କବରକୁ ଘେନା ଯାଇଥାʼନ୍ତି। 20 ମୋହର ଦିନ କʼଣ ଅଳ୍ପ ନୁହେଁ? ତେବେ କ୍ଷାନ୍ତ ହୁଅ, 21 ମୋତେ ଛାଡ଼ିଦିଅ, ତହିଁରେ ମୁଁ ଯେଉଁ ସ୍ଥାନରୁ ଫେରି ଆସିବି ନାହିଁ, ଏପରି ଅନ୍ଧକାର ଓ ମୃତ୍ୟୁୁଚ୍ଛାୟାରୂପ ଦେଶକୁ ଯିବା ପୂର୍ବେ ମୁଁ କ୍ଷଣକାଳ ସାନ୍ତ୍ୱନା ପାଇବି; 22 ସେ ଦେଶ ଅନ୍ଧକାର ତୁଲ୍ୟ ନିବିଡ଼ ଅନ୍ଧକାରମୟ; ସେ ଦେଶ ମୃତ୍ୟୁୁଚ୍ଛାୟାମୟ, ସୁଧାରାବିହୀନ ଓ ସେଠାରେ ଦୀପ୍ତି ଅନ୍ଧକାରର ସମାନ।”

< ଆୟୁବ 10 >