< ପ୍ରକାଶିତ 7 >

1 ତାହାପରେ ମୁଁ ଦେଖିଲି, ପୃଥିବୀ କି ସମୁଦ୍ର କି କୌଣସି ଗଛ ଉପରେ ଯେପରି ବାୟୁ ନ ବହେ, ଏଥିନିମନ୍ତେ ପୃଥିବୀର ଚାରି କୋଣରେ ଚାରି ଜଣ ଦୂତ ଠିଆ ହୋଇ ପୃଥିବୀର ଚାରି ବାୟୁକୁ ଅଟକାଇ ଧରିଅଛନ୍ତି। 2 ପୁଣି, ମୁଁ ଆଉ ଜଣେ ଦୂତଙ୍କୁ ପୂର୍ବଦିଗରୁ ଉଠି ଆସିବାର ଦେଖିଲି; ତାହାଙ୍କ ହସ୍ତରେ ଜୀବିତ ଈଶ୍ବରଙ୍କର ମୁଦ୍ରା ଥିଲା। ପୃଥିବୀ ଓ ସମୁଦ୍ରର କ୍ଷତି କରିବା ନିମନ୍ତେ କ୍ଷମତା ପାଇଥିବା ସେହି ଚାରି ଦୂତଙ୍କୁ ସେ ଉଚ୍ଚସ୍ୱରରେ ଡାକି କହିଲେ, 3 ଆମ୍ଭେମାନେ ଆପଣାମାନଙ୍କ ଈଶ୍ବରଙ୍କର ଦାସମାନଙ୍କ କପାଳରେ ମୁଦ୍ରାଙ୍କନ ଦେବା ପର୍ଯ୍ୟନ୍ତ ତୁମ୍ଭେମାନେ ପୃଥିବୀ କିଅବା ସମୁଦ୍ର କିଅବା ଗଛଗୁଡ଼ିକର କ୍ଷତି କର ନାହିଁ। 4 ତାହା ପରେ ମୁଦ୍ରାଙ୍କିତ ଲୋକମାନଙ୍କର ସଂଖ୍ୟା ମୁଁ ଶୁଣିଲି, ଇସ୍ରାଏଲ ସନ୍ତାନମାନଙ୍କ ସମସ୍ତ ବଂଶ ମଧ୍ୟରୁ ଏକ ଲକ୍ଷ ଚଉରାଳିଶ ହଜାର ଲୋକ ମୁଦ୍ରାଙ୍କିତ ହେଲେ, 5 ଯିହୂଦା ବଂଶରୁ ବାର ହଜାର, ରୂବେନ ବଂଶରୁ ବାର ହଜାର, ଗାଦ ବଂଶରୁ ବାର ହଜାର, 6 ଆଶେର ବଂଶରୁ ବାର ହଜାର, ନପ୍ତାଲି ବଂଶରୁ ବାର ହଜାର, ମନଃଶି ବଂଶରୁ ବାର ହଜାର, 7 ଶିମିୟୋନ ବଂଶରୁ ବାର ହଜାର, ଲେବୀ ବଂଶରୁ ବାର ହଜାର, ଇସାଖାର ବଂଶରୁ ବାର ହଜାର, 8 ସବୂଲୂନ ବଂଶରୁ ବାର ହଜାର, ଯୋଷେଫ ବଂଶରୁ ବାର ହଜାର, ବିନ୍ୟାମୀନ୍ ବଂଶରୁ ବାର ହଜାର। 9 ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସର୍ବଜାତୀୟ, ସର୍ବଗୋଷ୍ଠୀୟ, ସର୍ବବଂଶୀୟ ଓ ସର୍ବଭାଷାବାଦୀ ଅଗଣ୍ୟ ଏକ ମହାଜନତା ଶୁକ୍ଳ ବସ୍ତ୍ର ପରିହିତ ହୋଇ ଓ ଖଜୁରୀ ଡାଳଗୁଡ଼ିକ ହସ୍ତରେ ଧରି ସିଂହାସନ ଓ ମେଷଶାବକଙ୍କ ସମ୍ମୁଖରେ ଦଣ୍ଡାୟମାନ ହୋଇଅଛନ୍ତି; 10 ସେମାନେ ଉଚ୍ଚସ୍ୱରରେ କହୁଅଛନ୍ତି, “ପରିତ୍ରାଣ, ସିଂହାସନ ଉପବିଷ୍ଟ ଆମ୍ଭମାନଙ୍କ ଈଶ୍ବରଙ୍କର, ଓ ମେଷଶାବକଙ୍କର କାର୍ଯ୍ୟ।” 11 ପୁଣି, ସମସ୍ତ ଦୂତ ସିଂହାସନ, ପ୍ରାଚୀନବର୍ଗ ଓ ଚାରି ପ୍ରାଣୀଙ୍କ ଚତୁର୍ଦ୍ଦିଗରେ ଉଭା ହୋଇଅଛନ୍ତି ଆଉ ସିଂହାସନ ସମ୍ମୁଖରେ ଉବୁଡ଼ ହୋଇପଡ଼ି ଈଶ୍ବରଙ୍କୁ ପ୍ରଣାମ କରି କହୁଅଛନ୍ତି, 12 “ଆମେନ୍; ପ୍ରଶଂସା, ଗୌରବ, ଜ୍ଞାନ, ଧନ୍ୟବାଦ, ସମ୍ଭ୍ରମ, ପରାକ୍ରମ ଓ ଶକ୍ତି ଯୁଗେ ଯୁଗେ ଆମ୍ଭମାନଙ୍କ ଈଶ୍ବରଙ୍କର, ଆମେନ୍‍।” (aiōn g165) 13 ପୁଣି, ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ ପଚାରିଲେ, ଧଳା ବସ୍ତ୍ର ପରିହିତ ଏହି ଲୋକମାନେ କିଏ ଓ ସେମାନେ କେଉଁଠାରୁ ଆସିଅଛନ୍ତି? 14 ମୁଁ ତାହାଙ୍କୁ କହିଲି, ହେ ମୋହର ପ୍ରଭୁ, ଆପଣ ହିଁ ତାହା ଜାଣନ୍ତି। ସେଥିରେ ସେ ମୋତେ କହିଲେ, ଏମାନେ ମହାକ୍ଲେଶରୁ ବାହାରି ଆସିଅଛନ୍ତି ଓ ମେଷଶାବକଙ୍କ ବଳୀକୃତ ରକ୍ତରେ ଆପଣା ଆପଣା ବସ୍ତ୍ର ଧୋଇ ଶୁକ୍ଳବର୍ଣ୍ଣ କରିଅଛନ୍ତି। 15 ସେଥିପାଇଁ, “ସେମାନେ ଈଶ୍ବରଙ୍କ ସିଂହାସନ ସମ୍ମୁଖରେ ଥାଇ, ଦିବାରାତ୍ର ତାହାଙ୍କ ମନ୍ଦିରରେ ତାହାଙ୍କର ଉପାସନା କରନ୍ତି,” “ପୁଣି, ସିଂହାସନ ଉପବିଷ୍ଟ ବ୍ୟକ୍ତି ସେମାନଙ୍କର ଆଶ୍ରୟ-ସ୍ୱରୂପ ହେବେ। 16 ସେମାନଙ୍କର ଆଉ କେବେ ହେଁ କ୍ଷୁଧା କି ତୃଷା ହେବ ନାହିଁ,” “ପୁଣି, ସୂର୍ଯ୍ୟ କିଅବା କୌଣସି ଉତ୍ତାପ ସେମାନଙ୍କୁ ଆଘାତ କରିବ ନାହିଁ, 17 କାରଣ ସିଂହାସନ ମଧ୍ୟସ୍ଥିତ ମେଷଶାବକ ସେମାନଙ୍କର ପ୍ରତିପାଳକ ହେବେ ଓ ଜୀବନଦାୟକ ନିର୍ଝର ନିକଟରେ ସେମାନଙ୍କୁ କଢ଼ାଇ ନେବେ,” “ପୁଣି, ଈଶ୍ବର ସେମାନଙ୍କ ଚକ୍ଷୁରୁ ସମସ୍ତ ଲୋତକ ପୋଛିଦେବେ।”

< ପ୍ରକାଶିତ 7 >